ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ୨୧ରୁ ୨୩ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ 

ଭୁବନେଶ୍ଵର, ୨୦/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଧୀରେ ଧୀରେ ଘନୀଭୂତ ହେଉଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୧ ସେପ୍ଟେମ୍ବରରେ ଅବପାତ ଏବଂ ୨୨ ତାରିଖ ବେଳକୁ ଗଭୀର ଅବପାତରେ ପରିଣତ ହୋଇପାରେ । ୨୩ ତାରିଖ ସକାଳ ସୁଦ୍ଧା ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି। ଗଞ୍ଜାମ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାରୁ ସୁରକ୍ଷା ଦୃଷ୍ଟିରୁ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯାଇ ମାଛ ଧରିବାକୁ ବାରଣ କରାଯାଇଛି।ଏନେଇ ଗଞ୍ଜାମ ସାମୁଦ୍ରିକ ମତ୍ସ୍ୟ ବିଭାଗ ପକ୍ଷରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ସଚେତନତା ଅଭିଯାନ ଚାଲିଛି। ସାଗର ମିତ୍ରମାନଙ୍କ ଜରିଆରେ ସାମୁଦ୍ରିକ ଗାଁଗୁଡ଼ିକରେ ଡାକବାଜି ଯନ୍ତ୍ର ମାଧ୍ୟମରେ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଉଛି।

ସମୁଦ୍ର ଭିତରେ ମାଛ ଧରୁଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *