ଏସ୍ସିବିରେ ନିଆଁ: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୬/୩ : କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମେଡିକାଲର ଏକ ୱାର୍ଡରେନିଆଁ ଲାଗି ୧୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଯେଉଁ ୱାର୍ଡରେ ନିଆଁ ଲାଗିଥିଲା, ସେଠାରେ ସେହି ସମୟରେ ପ୍ରାୟ ୨୨ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସମୟ ମିଳିନଥିଲା। ଫଳରେ ଅଧିକାଂଶ ରୋଗୀ ଶ୍ୱାସରୁଦ୍ଧ ହୋଇ ଏବଂ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି ।
ଖବର ପାଇ ଅଗ୍ନିଶମ ବାହିନୀର ଏକାଧିକ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ। ଏହି ଘଟଣା ପରେ ମେଡିକାଲ ପରିସରରେ ଏକ ଶୋକାକୁଳ ଓ ଆତଙ୍କିତ ପରିବେଶ ସୃଷ୍ଟି ହୋଇଛି । ବାକି ରୋଗୀମାନଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ବର୍ତ୍ତମାନ୍ ପର୍ଯ୍ୟନ୍ତ ଜଣାପଡିନାହିଁ। ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି।
ସେପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ସେ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଅଗ୍ନିକାଣ୍ଡ ପରେ ତୁରନ୍ତ ଟ୍ରମା କେୟାରରୁ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ମୁଖ୍ୟମନ୍ତ୍ରୀ ଆଇସିୟୁରେ ଥିବା ଅନ୍ୟ ରୋଗୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Editor 


