ରଥ ନିର୍ମାଣର ପରମ୍ପରା , କେବେ ଠୁ ହୁଏ ରଥ ନିର୍ମାଣ ଶୁଭାରମ୍ଭ ଜାଣନ୍ତୁ …

ଭୁବନେଶ୍ବର, ୨୬/୬ : ପରମ୍ପରା ଅନୁସାରେ ପୁରୀରେ ପ୍ରତି ବର୍ଷ ସମ୍ପୁର୍ଣ୍ଣ ଭାବେ ନୂଆ କାଠରେ ରଥ ତିଆରି କରାଯାଏ । ରଥଯାତ୍ରା ପରେ ରଥ ଗୁଡ଼ିକୁ ଭାଙ୍ଗି ଦେଇ, କାଠ ଗୁଡ଼ିକୁ ମନ୍ଦିର ରୋଷ ଘରେ ବ୍ୟବହାର କରାଯାଉଥିଲା ୨୦୧୨ ମସିହାଠାରୁ ରଥର କିଛି ଅଂଶକୁ ବିକ୍ରି କରାଯାଉଛି । ସାମ୍ୟ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି ସେ ରଥର ନାମ ନନ୍ଦିଘୋଷ । ସେହିପରି ଶ୍ରୀବଳଭଦ୍ରଙ୍କ ରଥର ନାମ ତାଳଧ୍ବଜ ଓ ଶ୍ରୀସୁଭଦ୍ରାଙ୍କ ରଥର ନାମ ଦେବଦଳନ ଦର୍ପଦଳନ ବା ପଦ୍ମଧ୍ୱଜ।
ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥଖଳାରେ ନୂତନ ଭାବେ ତୋନୋଟି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ବାବଦରେ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନ ତରଫରୁ ମିଳିତ ଭାବେ ସମ୍ପାଦିତ ହୋଇଥାଏ।
ରଥ ନିର୍ମାଣ ତଥା ରଥଯାତ୍ରାର ପ୍ରଥମ ଶୁଭାରମ୍ଭ ହୋଇଥାଏ ସରସ୍ୱତୀ ପୂଜା ଶ୍ରୀପଞ୍ଚମୀ ତିଥିଠାରୁ। କେତେକ ନିର୍ଦ୍ଦିଷ୍ଟ ତିଥିରେ ତିନି ରଥମାନଙ୍କର ନିର୍ଦ୍ଦିଷ୍ଟ କାର୍ଯ୍ୟର ଶୁଭାରମ୍ଭ ହୋଇଥାଏ। ଯଥା - ଶ୍ରୀପଞ୍ଚମୀ ଦିନ ରଥକାଠ ପୁରୀରେ ପହଞ୍ଚିବା ସଙ୍ଗେ ସଙ୍ଗେ ଅନୁକୂଳ ନୀତି ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ହୋଇଥାଏ। ଶ୍ରୀରାମ ନବମୀ ଦିନ ରଥକାଠ ଚିରା କାର୍ଯ୍ୟର ଅନୁକୂଳ ମନୋନୀତ କରତ କଳରେ ହୋଇଥାଏ। ଅକ୍ଷୟ ତୃତୀୟା ଦିନ ତିନି ରଥ ଶୁଭାରମ୍ଭ କାର୍ଯ୍ୟର ଅନୁକୂଳ ହୋଇଥାଏ। ଉକ୍ତଦିନ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ଅନ୍ୟାନ୍ୟ ଶୋତ୍ରୀୟ ବ୍ରାହ୍ମଣମାନଙ୍କଦ୍ୱାରା ରଥ ନିର୍ମାଣ ଉପଲକ୍ଷେ ଶୁଭାରମ୍ଭ କାର୍ଯ୍ୟ ଯଜ୍ଞ ଓ ଆନୁସଙ୍ଗିକ ପୂଜା, ନୀତି ଇତ୍ୟାଦି ଅନୁଷ୍ଠିତ ହେବା ସଙ୍ଗେ ସଙ୍ଗେ ପୂଜାପଣ୍ଡା ତିନି ରଥ ନିର୍ମାଣର ଅନୁକୂଳ ନିମନ୍ତେ ଅଜ୍ଞାମାଳ ପ୍ରଦାନ କରିଥାନ୍ତି। ଏଠାରେ ବିଶ୍ୱକର୍ମା ମହାରଣା, ରୂପକାର , ଭୋଇ ଇତ୍ୟାଦି ସେବକମାନେ ଶାଢ଼ୀ ବନ୍ଧାଇଥାନ୍ତି।
ଏହାପରେ ନୃସିଂହ ଚତୁର୍ଦ୍ଦଶୀ ଦିନ ଗୁଜ ଅନୁକୂଳ, ଶ୍ରୀକ୍ଷେତ୍ର ଭଉଁରୀ ଦିନ ପ୍ରତ୍ୟେକ ରଥର ଦୁଇଟି ଲେଖାଏଁ ଚକ ଡେରା ହୋଇଥାଏ ଓ ଶ୍ରୀମନ୍ଦିରରୁ ଆଜ୍ଞାମାଳ ଆସି ଏହା ଉପରେ ଲାଗି କରାଯାଇଥାଏ। ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରତି ରଥର ଚାରିନାହାକା ଡେରା ଅନୁକୂଳ ଓ ନେତ୍ରୋତ୍ସବ ଦିନ (ରଥଯାତ୍ରା ପୂର୍ବ ଦିନ) ଅପରାହ୍ନ ସୁଦ୍ଧା ତିନିଟି ଯାକ ରଥ ସୁସଜ୍ଜିତ ହୋଇ ଶ୍ରୀନଅରସ୍ଥିତ ରଥଖଳାରୁ ଟଣା ହୋଇ ସିଂହଦ୍ୱାର ସମ୍ମୁଖରେ ରଖାଯାଏ।